୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା; ୧୧ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ
![](https://teerthkhetra.com/wp-content/uploads/2023/08/A1-2-scaled-1-1024x724.jpg)
ଭୁବନେଶ୍ୱର:ଏବେ ରାଜ୍ୟରେ ମୌସୁମୀ ନିମ୍ନଚାପ ରେଖା ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ, ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୟାଗଡ଼, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨.୩ ମିମି ବର୍ଷା ରେକର୍ଡ କରାଯାଇଛି ଯାହାକି ସ୍ୱାଭାବିକ ବର୍ଷା ୧୩.୨ ମିମି ତୁଳନାରେ ୮୩ ପ୍ରତିଶତ କମ ରହିଛି। ଆଗାମୀ ୪ ରୁ ୫ଦିନ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିବାର ସମ୍ଭାବନା ଥିବାରୁ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନାରେ କୁହାଯାଇଛି।