ରାୟଗଡାରେ ଗଡ଼ିଲା ଲକ୍ଷ୍ମୀ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାୟଗଡା: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ରାୟଗଡା ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ଜିଲ୍ଲାରେ ୫୨ଟି ବସ୍ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍ ଯିବ । ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ବସ୍ ଚଳାଚଳ ହେବ। ଏଥିପାଇଁ ୩୦୦ଟି ବସ୍ ଷ୍ଟପେଜ ମଧ୍ୟ କରାଯାଇଛି ।ଅନ୍ ଲାଇନ ଜରିଆରେ କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଓ ଆନନ୍ଦ ଆଣିବ । ଏହା ଆମର ଗ୍ରାମାଞ୍ଚଳର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଲକ୍ଷ୍ମୀ ବସ୍ ଗାଁକୁ ଗାଁ ସହିତ ଯୋଡିବ। ସାମାଜିକ ସଂପର୍କ ସୁଦୃଢ କରିବା ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଧ୍ୟ ମଜବୁତ କରିବ ।ଯୋଗାଯୋଗ ବିକାଶର ଇଞ୍ଜିନ ବୋଲି ମୁଖ୍ୟମନ୍ତ୍ରୀ କହିଲେ ଯେ ଲକ୍ଷ୍ମୀ ବସ୍ ପିଲାମାନଙ୍କୁ ସ୍କୁଲ ଓ କଲେଜ ସହିତ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବା ସହିତ ରୋଗୀକୁ ହସ୍ପିଟାଲ ମଧ୍ୟ ନେବ। ମା ମାନଙ୍କ ପାଇଁ ଏହା ବିଭିନ୍ନ କାମରେ ମୁଖ୍ୟ ମାଧ୍ୟମ ହେବ।କାର୍ଯ୍ୟକ୍ରମରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁ କହିଲେ ଯେ ମାର୍ଗଶିର ମାସ ଲକ୍ଷ୍ମୀ ମାସରେ ମୁଖ୍ୟମନ୍ତ୍ରୀ ରାୟଗଡ଼ାରେ ଲକ୍ଷ୍ମୀ ବସ ଯୋଜନା ଆରମ୍ଭ କରି ଘରେ ଘରେ ଲକ୍ଷ୍ମୀ ପହଞ୍ଚାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆଜି ଓଡ଼ିଶାରେ ନାରୀ ସଶକ୍ତିକରଣ ହୋଇବପାରିଛି ବୋଲି ପ୍ରକାଶ କରି ସେ ଧନ୍ୟବାଦ୍ ଦେଇଥିଲେ।ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କହିଲେ ଯେ ଲକ୍ଷ୍ମୀ ବସ ଯୋଗୁ ଚାଷୀ, ବ୍ୟବସାୟୀ ଓ ମା ମାନେ ଉପକୃତ ହେବେ।ଏହି କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ଏହି ଅବସରରେ ଶ୍ରୀ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସେ ଜିଲ୍ଲା ଗସ୍ତ କରିଥିଲେ। ରାୟଗଡ଼ାରେ ମଧ୍ଯ ଲୋକଙ୍କ ଠାରୁ ପ୍ରସ୍ତାବ ଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ଜଣାଇବା ପରେ ଜିଲ୍ଲାରେ ଅନେକ ମଠ ମନ୍ଦିର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଅନୁମୋଦନ ଦେଇଥିଲ ।କାର୍ଯ୍ୟକ୍ରମରେ ଗୁଣୁପୁର ବିଧାୟକ ଶ୍ରୀ ରଘୁନାଥ ଗମଙ୍ଗୋ, ରାୟଗଡ଼ା ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି ପ୍ରମୁଖ ଯୋଗ ଦେଇ କହିଥିଲେ ଓଡ଼ିଶାର ବିକାଶ ପାଇଁ, ରାଜ୍ୟର ଗରିବ, ଆଦିବାସୀ ଓ ମହିଳା ମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସାରା ଜୀବନ ସମର୍ପିତ କରିଛନ୍ତି। ଆଜି ଆମ ଘର ମାନଙ୍କୁ ଲକ୍ଷ୍ମୀ ଆସୁଛନ୍ତି । ଆମେ ସମସ୍ତେ ଖୁସି।ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତି ସରସ୍ଵତୀ ମାଝୀ କହିଥିଲେ ଯେ ଏହାଦ୍ବାରା ଗରିବ, ଆଦିବାସୀ ଓ ମହିଳା ମାନେ ବହୁତ୍ ଉପକାର ପାଇବେ।ରାୟଗଡ଼ା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅନସୂୟା ମାଝୀ ସ୍ଵାଗତ ଭାଷଣ ଦେଇଥିଲେ ।
ନିଳାମ୍ବର ମିଶ୍ରଙ୍କ ରିପୋର୍ଟ ରାୟଗଡା