ପୁରୀ ଜିଲ୍ଲା ରେ ୫ ଗୋଟି ଆମ ହସପିଟାଲ ଲୋକାର୍ପିତ

ପୁରୀ ଜିଲ୍ଲା ରେ ୫ ଗୋଟି ଆମ ହସପିଟାଲ ଲୋକାର୍ପିତପୁରୀ ୨୬/୨ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁରୀ ଜିଲ୍ଲାର ୫ ଗୋଟି ଆମ ହସପିଟାଲ ଲୋକାର୍ପିତ କରିଛନ୍ତି।ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ପୁରୀ ସଦର ହସପିଟାଲ,ବ୍ରହ୍ମଗିରି ର ରେବଣା ନୂଆଗାଁ,କାକଟପୁର ର ବାଙ୍ଗୁରିଗାଁ, ନିମାପଡା ଓ ସତ୍ୟବାଦୀ ହସପିଟାଲ ରୂପାନ୍ତରଣ ର ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ‘ଆମ ହସ୍ପିଟାଲ’ରେ ସବୁ ବ୍ୟବସ୍ଥା ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍ ହେଉଛି ରୋଗୀଙ୍କ ସୁବିଧା ଓ ସେମାନଙ୍କ ପାଇଁ ଉନ୍ନତ ଚିକିତ୍ସା ବ୍ୟବସ୍ଥା। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ‘ଆମ ହସ୍ପିଟାଲ’ ଗୁଡିକ ଏକ ନୂଆ ଯୁଗ ରାଜ୍ୟରେ ଆରମ୍ଭ କରିବ। ସରକାରୀ ହସ୍ପିଟାଲ ଗୁଡିକରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ ବୋଲି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ। 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ କରାଯାଇଛି ବୋଲି ସେ କହିଥିଲେ। ଏହା ସରକାରୀ ସ୍ତରରେ ଆମର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିରାଟ ପରିବର୍ତ୍ତନ ବୋଲି କହି ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5T ଉପକ୍ରମରେ ହସ୍ପିଟାଲ ଗୁଡିକର ଭିତ୍ତିଭୂମି ବ୍ୟବସ୍ଥା, ରେଗୀମାନଙ୍କ ପାଇଁ ମୌଳିକ ସୁବିଧା ସୁଯୋଗ ଏବଂ ସେବା ଯୋଗାଇବା ପଦ୍ଧତିରେ ଉନ୍ନତି ଆଣାଯାଇଛି। ଗୁଣବତ୍ତାକୁ ମଧ୍ୟ ଏଠାରେ ସୁନିଶ୍ଚିତ କରାଯାଇଛି। ଆଗାମୀ ୫ ବର୍ଷ ମଧ୍ୟରେ ୧୮୫୮ଟି ଡାକ୍ତରଖାନାକୁ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି ଏବଂ ଏଥି ପାଇଁ ୨୦୨୩-୨୮ ମଧ୍ୟରେ ୩୩ ଶହ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ସଂପ୍ରତି ୧୪୯ଟି ଡାକ୍ତରଖାନାର ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି ବୋଲି ସେ ସୂଚନା ଦେଇଥିଲେ।ରାଜ୍ୟର ସ୍ୱାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କୁ ଭଲ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଗତ ୧ ବର୍ଷ ମଧ୍ୟରେ ୪,୦୦୦ ଡାକ୍ତର ଓ ୩,୭୦୦ ରୁ ଅଧିକ ନର୍ସଙ୍କୁ ନିଯୁକ୍ତି ଦିଆଯାଇଛି। ଧନୀ, ଗରୀବ ସମସ୍ତଙ୍କ ପାଇଁ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା କରାଯାଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଜି ସାରା ଓଡିଶାରେ ମଡେଲ ହୋଇଛି। ଓଡିଶାବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିଛି। ‘ମୋ ପାଇଁ ସବୁ ଜୀବନ ମୂଲ୍ୟବାନ’ ଏହି ମନ୍ତ୍ରକୁ କାର୍ଯ୍ୟକାରୀ କରି ଆମେ ସମସ୍ତଙ୍କ ସହଯୋଗରେ ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ସ୍ୱପ୍ନ ନିଶ୍ଚୟ ପୂରଣ କରିବୁ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଥିଲେ।କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ସଂଯୋଜନା କରିବା ସହ ଏହିସବୁ ହସ୍ପିଟାଲଗୁଡିକୁ ନିଜ ସଂପତ୍ତି ଭଳି ରକ୍ଷଣାବେକ୍ଷଣ କରିବା ପାଇଁ ଅନୁରୋଧ କରିଥିଲେ। କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲା ରେବଣା ନୂଆଗାଁରୁ ରାଜ୍ୟ ଯୋଜନା ବୋର୍ଡ ପୂର୍ବତନ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଦାସବର୍ମା ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆମ ହସପିଟାଲ ଏକ ଯୁଗାନ୍ତକାରୀ ପଦକ୍ଷେପ ଓ ଏହା ସବୁ ବର୍ଗର ଲୋକ ମାନଙ୍କ ପାଇଁ ଅଶେଷ କଲ୍ୟାଣ ସାଧିତ କରିବ।ପୂର୍ବରୁ ବିଜୁ ସ୍ୱାସ୍ଥ୍ୟ କାର୍ଡ଼ ମାଧ୍ୟମରେ ମହିଳା ମାନ ଙ୍କୁ ୧୦ ଲକ୍ଷ ଓ ପୁରୁଷ ମାନଙ୍କୁ ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ରାଜ୍ୟ ସରକାର ଯୋଗାଇ ଦେଉଥିବା ବେଳେ ଭିତ୍ତିଭୂମି ର ବିକାଶ ସ୍ୱାସ୍ଥ୍ୟ ବ୍ୟବସ୍ଥା କୁ ଆହୁରି ଋଦ୍ଧିମନ୍ତ କରିବ ବୋଲି ସେ କହିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ପରିଷଦର ଅଧ୍ୟକ୍ଷା ସ୍ୱପ୍ନାରାଣୀ ସ୍ୱାଇଁ,ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ସିଡିଏମଓ ଡା ସୁଜାତା ମିଶ୍ର, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ରଶ୍ମି ରଞ୍ଜନ ସାହୁ,ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

Leave a Reply

Your email address will not be published. Required fields are marked *